କୋଣାର୍କ ଭିତ୍ତିଭୂୂମିକୁ ଅନ୍ତର୍ଜାତୀୟମାନର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଶଙ୍ଖକ୍ଷେତ୍ର ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏବେ ଏ ଦିଗରେ ଜୋର ସୋରରେ କାମ ଚାଲିଛି | କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ଚିଠା ଯୋଜନା ପ୍ରସ୍ତୁତ କରାଯାଇଛି |ପର୍ଯ୍ୟଟନ କ୍ଷେତ୍ର ଭାବେ କୋଣାର୍କକୁ ପ୍ରତିଦିନ ପୃଥିବୀର କୋଣ ଅନୁକୋଣରୁ ପର୍ଯ୍ୟଟକ ମାନଙ୍କ ସୁଅ ଛୁଟୁଛି | ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତି ଭୂମି ବିକାଶକୁ ଅନ୍ତର୍ଜାତୀୟମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି | ଆଜି ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ଉପସ୍ଥାପନା କରାଯାଇଥିଲା | ସାଧାରଣଲୋକେ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ ଦିନ ମଧ୍ୟରେ ଦେଇପାରିବେ |

ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି | ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୋଣାର୍କ ସୂର୍ଯ୍ୟ ମନ୍ଦିରର ଗରିମାର ସୁରକ୍ଷା, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ |

ସାଢ଼େ ତିନି କିଲୋମିଟର ବାହ୍ୟ ରିଂଗ ରୋଡକୁ ଛଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବ | ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ପଏଣ୍ଟର ବିକାଶ କରାଯିବ | ଫେରି ବାଲା ମାନଙ୍କୁ ପୁନଃ ଥଇଥାନ କରାଯିବ | ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ ଲ୍ୟାଣ୍ଡସ୍କେପିଙ୍ଗ କରାଯିବ |
ପ୍ରବେଶସ୍ଥଳରେ ପର୍ୟ୍ୟଟକ ମାନଙ୍କୁ ସ୍ୱାଗତ କରିବା ପାଇଁ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ | ତା ସହିତ ଗାଡିମଟର ପାର୍କିଂ ପାଇଁ ମଲ୍ଟି ମଡେଲ ହବ୍‌ ନିର୍ମାଣ ସହ କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ପୁନର୍ବିନ୍ୟାସ ମଧ୍ୟ କରାଯିବ। | ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀ ମାନଙ୍କ ପାଇଁ ସ୍ୱତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ |

କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ୱସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା | ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ | ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |